ସ୍ନାନଯାତ୍ରାରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସରର ଷଷ୍ଠ ଦିନରେ ପିଣ୍ଡିରେ ଅସୁସ୍ଥ ମହାପ୍ରଭୁଙ୍କ ଜ୍ବରରୁ ଭଲ କରିବା ପାଇଁ ଚାଲିଛି ଗୁପ୍ତନୀତି। ନୀଳାଦ୍ରି ମହୋଦୟ ଶାସ୍ତ୍ର ଅନୁସାରେ, ଦଇତାପତି ସେବକଙ୍କ ଦ୍ବାରା ଚାଲିଛି ଶାସ୍ତ୍ରାନୁମୋଦିତ ଚିକିତ୍ସା। ଶାସ୍ତ୍ରାନୁସାରେ ବିଶ୍ୱାବସୁ ତଥା ବିଦ୍ୟାପତିଙ୍କ ବଂଶଧରମାନେ ଶ୍ରୀଅଙ୍ଗରୁ ବିରୂପ କାଢ଼ିବା ପରେ ଅଣସର ବାସରେ ଥିବା ଶଯ୍ୟାଶାୟୀ ଶ୍ରୀବିଗ୍ରହମାନଙ୍କୁ ଜଡିବୁଟିଯୁକ୍ତ ଔଷଧୀୟ ଫୁଲୁରି ତେଲ ଲାଗି କରିଛନ୍ତି। ଶ୍ରୀମନ୍ଦିର ବୈଦ୍ୟଙ୍କ ପରାମର୍ଶକ୍ରମେ ଚତୁର୍ଦ୍ଧାବିଗ୍ରହଙ୍କ ଶ୍ରୀଅଙ୍ଗରେ ଏହି ଔଷଧୀୟ ତୈଳ ମର୍ଦ୍ଦନ ହୋଇଛି। ଏହି ତେଲ ଶ୍ରୀଅଙ୍ଗରେ ମର୍ଦ୍ଦନ ପରେ ମହାପ୍ରଭୁ ସୁସ୍ଥ ହେବେ। ନବଯୌବନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ।